Join Us To Make A Difference

The Drops💧

ବାତ୍ୟା ପ୍ରଭାବିତ ଅଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାତ୍ୟା ପ୍ରଭାବିତ ଅଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Published by:Jyotshna Kumari
#state

ଦ କୁଇଭର ବ୍ୟୁରୋ :- ନଭେମ୍ବର ୨ ତାରିଖ ସୁଦ୍ଧା ସବୁ ବିଭାଗ କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବେ। ଏହାପରେ ପ୍ରଭାବିତଙ୍କୁ ମିଳିବ ସରକାରୀ ସହାୟତା। ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ଅନୁଧ୍ୟାନ ଏବଂ ବାତ୍ୟା ସ୍ଥିତିର ସମୀକ୍ଷା କରିବା ପରେ ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ସେ କହିଛନ୍ତି, ଏବେ ୪୭୦ଟି ଆଶ୍ରୟସ୍ଥଳୀରେ ୩୦ ହଜାର ଲୋକ ଅଛନ୍ତି । ବାତ୍ୟା ପ୍ରଭାବିତ ୫୦ ହଜାର ଲୋକଙ୍କୁ ବିଦ୍ୟୁତ୍ ଯୋଗାଯାଇ ପାରିନି । ତଳିଆ ଅଞ୍ଚଳରେ ପାଣି ଜମିଥିବାରୁ ବିଦ୍ୟୁତ ଯୋଗାଣ ହୋଇପାରିନି । ମୋଟ ୨୨ ଲକ୍ଷ ୮୪ ହଜାର ଲୋକ ବିଦ୍ୟୁତ୍ ସେବାରୁ ବିଚ୍ଛିନ୍ନ ହୋଇଥିଲେ । ଏବେ ୨୨ ଲକ୍ଷ ୩୨ ହଜାର ଲୋକଙ୍କୁ ବିଦ୍ୟୁତ୍ ସେବା ମିଳିଛି । ବିଦ୍ୟୁତ୍ ବିଭାଗର ୭ ହଜାର କର୍ମଚାରୀ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ବିଦ୍ୟୁତ ବିଭାଗର ୯୮% କାମ ସରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ ମୟୂରଭଞ୍ଜ ଜିଲ୍ଲାର ୧୨ଟି ବ୍ଲକ, ୮୮୦ ପଞ୍ଚାୟତର ୪୧୦୦ ଗାଁରେ ଫସଲ କ୍ଷତି ହୋଇଛି। ମୋଟ ୨ ଲକ୍ଷ ୭୧ ହଜାର ୮୦୦ ଏକର ଚାଷଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି। ଜଳ ନିଷ୍କାସନ ପରେ କ୍ଷେତ୍ରକୁ ଯାଇ ଆକଳନ କରାଯିବ। ସେହି ଆଧାରରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।ରିପୋର୍ଟ ମିଳିବା ପରେ ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Comment

Comments

No comments yet.

Best Biofloc Fish Farming

ChasiCare Advertisement

Read More

City

ଅନୁପମ ଭାରତର ୨୯ ତମ ସ୍ଵନକ୍ଷତ୍ର ଦିବସ ପାଳନ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ଦୈନିକ ଖବର କାଗଜ ଅନୁପମ ଭାରତର ୨୯ ତମ ସ୍ଵନକ୍ଷତ୍ର ଦିବସ ଶିଳ୍ପାଞ୍ଚଳ ସ୍ଥିତ ଅନୁପମ ଭାରତ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ବରିଷ୍ଠ ଲେଖିକ ହୟଗ୍ରୀବ ତ୍ରିପାଠୀ , ମୁଖ୍ୟବକ୍ତା ଭାବେ ସ୍ତମ୍ଭକାର ସତ୍ୟ ନାରାୟଣ ପାଣିଗ୍ରାହୀ, ପ୍ରମୁଖ ଯୋଗ ଦେଇଥିଲେ । ସୁଦାମ ଦାସ କାର୍ଯ୍ୟକ୍ରମ ରେ ସଂଯୋଜନା କରିଥିବା ବେଳେ ପରିଚାଳକ କୁରେଶ ପଣ୍ଡା, ସହ ସମ୍ପାଦକ ହରିଶ ଚନ୍ଦ୍ର ବେହେରା, ପ୍ରମୋଦ କୁମାର ପଣ୍ଡା ପ୍ରମୁଖ ମଞ୍ଚା ସିନ ଥିଲେ। ବରିଷ୍ଠ ସାମ୍ବାଦିକ ସୁଦୀପ କୁମାର୍ ସାହୁ ଏହି ଅବସରରେ ଅନୁପମ ଭାରତ ରେ ନିଜର ଦୀର୍ଘ ଜୀବନ ର କାର୍ଯ୍ୟ ସମ୍ପର୍କରେ ସମ୍ୟକ ସୂଚନା ଦେଇ ଜଗନ୍ନାଥ ଙ୍କ ଏକ ଭଜନ ଗାନ କରି ସଭିଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଅନୁପମ ଭାରତ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

State

ସରିଲା ସର୍ବଦଳୀୟ ବୈଠକ

Blog Thumbnail

ଦ କୁଇଭର ବ୍ୟୁରୋ :- ଆଉ ଦିନକ ପରେ ବିଧାନସଭାର ମୌସୁମୀ ଅଧିବେଶନ। ‌ବିଧାନସଭାରେ ଅଚଳାବସ୍ଥା ସୃଷ୍ଟି କରିବା, ସରକାରଙ୍କୁ ଘେରିବାକୁ ବିରୋଧୀ ବିଜେଡି ଓ କଂଗ୍ରେସ ଏଥର ମାଳମାଳ ପ୍ରସଙ୍ଗ ଧରିକି ବସିଛନ୍ତି। ହେଲେ ବିଧାନସଭା ଯେପରି ସୁରୁଖୁରରେ ଚାଲିବ, ଗୃହ କାର୍ଯ୍ୟ ପରିଚାଳନାରେ ସବୁ ଦଳ ସହଯୋଗ କରିବାକୁ ବାଚସ୍ପତି ସୁରମା ପାଢ଼ୀ ସବୁ ଦଳର ପ୍ରତିନିଧିଙ୍କୁ ଅନୁରୋଧ କରିଛନ୍ତି। ଏହି ଅଧିବେଶନର ଅବଧି ମାତ୍ର ୭ଦିନ ଥିବାରୁ କେଉଁ ଦିନ କେଉଁ କେଉଁ ପ୍ରସଙ୍ଗରେ ଆଲୋଚନା ହେବ ସେନେଇ ବାଚସ୍ପତି ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି।ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ଶାସକ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Shree Jagannath

୧୯ରୁ ଆରମ୍ଭ ହବିଷିଆଳିଙ୍କ ପଞ୍ଜୀକରଣ

Blog Thumbnail

ଦ କୁଇଭର ବ୍ୟୁରୋ :- ଆସୁଛି କାର୍ତ୍ତିକ l ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ l ଧର୍ମର ମାସ ମହା କାର୍ତିକରେ ମାସ ସାରା ହବିଶିଆଳିଙ୍କ ପୂଜା ଭଜନ ଜଣାଣ ଜପ ତପ ବିଭିନ୍ନ ଜାଗାରେ ଦେଖିବାକୁ ମିଳିବ l ପୂର୍ବରୁ ଅନେକ ହବିଶିଆଳି ମା ମାନେ ପୁରୀରେ ରହି ଶ୍ରୀଜଗନ୍ନାଥଙ୍କ ପାଖରେ ହବିଷ କରୁଥିଲେ କିନ୍ତୁ ଗତ କିଛି ବର୍ଷ ଧରି ଏହି ବ୍ୟବସ୍ଥାକୁ ପ୍ରଶାସନ ନିଜ ହାତକୁ ନେଇଛି l ତେଣୁ ବଡ଼ ଜୋର ସୋର ରେ ଚଳିତ ବର୍ଷ ମଧ୍ୟ ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ପୁରୀ ଜିଲ୍ଲା ପ୍ରଶାସନ। ଏଥର ୨୫ ଶହ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହେଉଛି । ୪ଟି ସ୍ଥାନରେ ହେବ ହବିଷିଆଳି କେନ୍ଦ୍ର ସ୍ଥାପନ କରାଯାଇଛି। ପ୍ରଥମ କରି ଆବେଦନ କରିଥିବା ମାଆ ମାନଙ୍କୁ ବେଶି ପ୍ରାଧାନ୍ୟ ଦିଆଯିବ । ହବିଷିଆଳିଙ୍କ ରହଣି, ପ୍ରସାଦ ସେବନ ଓ ଶ୍ରୀମନ୍ଦିରରେ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହାୟତା ପାଇଁ ଜିଲ୍ଲା ପ୍ରଶାସନ ଅଧିକାରୀ ଓ ସ୍ବେଚ୍ଛାସେବୀ ନିୟୋଜିତ ହେବେ। ଆସନ୍ତା ସେପ୍ଟେମ୍ବର ୧୯ ତାରିଖ, ଶୁକ୍ରବାର ପୂର୍ବାହ୍ନ ୧୦ ଠାରୁ ହବିଷିଆଳିଙ୍କ ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। https://edistrict.odisha.gov.inରେ ଆବେଦନ କରିପାରିବେ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିିତ ମହିଳା ଆବେଦନ କରିପାରିବେ । ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ଦିଆଯିବ ପ୍ରାଧାନ୍ୟ । କେବଳ ଅନଲାଇନରେ ପଞ୍ଜିକୃତ ହୋଇଥିବା ମା'ମାନେ ହିଁ ହବିଷ୍ୟାଳି ଶିବିରରେ ଅନୁମତି ପାଇବେ । ଏକମାସ ଧରି ସେମାନଙ୍କୁ ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ।


ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ସମସ୍ତଙ୍କୁ ସ୍ୱାଗତ କରି ବୃନ୍ଦାବତୀ ନିବାସ ,ବଗଲା ଧର୍ମଶାଳା , ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟ ସ୍ଥଳ ଠାରେ ହବିଷ୍ୟାଳୀ ମା’ ମାନଙ୍କର ରହଣିର ବ୍ୟବସ୍ଥା କରାଯାଉଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବରିଷ୍ଠ ଅଧିକାରୀ ଏହାକୁ ଅନୁଧ୍ୟାନ କରିଛନ୍ତି ବୋଲି କହିଛନ୍ତି । ହବିଷ୍ୟାଳୀ ଯୋଜନା ଆଧାରରେ ବୟସ୍କା ମାଆମାନେ ଏହି ବ୍ରତରେ ସାମିଲ ହେଉଛନ୍ତି । ତେଣୁ ସରକାରଙ୍କ ପରାମର୍ଶ କ୍ରମେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରୁଛି ବୋଲି ସୂଚନା ଦେଇଛନ୍ତି l

National

୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ

Blog Thumbnail

ଦ କୁଇଭର ବ୍ୟୁରୋ :- ଦେଶର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକୃଷ୍ଣନ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ତାଙ୍କ କ୍ୟାବିନେଟର ଅନେକ ବରିଷ୍ଠ ମନ୍ତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ବହୁ ବରିଷ୍ଠ ବିଜେପି ନେତା ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିପି ରାଧାକୃଷ୍ଣନଙ୍କୁ ଉପରାଷ୍ଟ୍ରପତି ପଦର ଶପଥ ପାଠ କରାଇଥିଲେ। ତେବେ ଏଥର ଉପରାଷ୍ଟ୍ରପତି ନିର୍ବାଚନରେ ​​ସିପି ରାଧାକ୍ରିଷ୍ଣନ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ପରାସ୍ତ କରି ଦେଶର ନୂଆ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।


ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ପୂରା ମନ୍ତ୍ରୀ ମଣ୍ଡଳଙ୍କ ଉପସ୍ଥିତି ରହିଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କର୍ଣ୍ଣାଟକ ରାଜ୍ୟପାଳ ଥାୱରଚାନ୍ଦ ଗେହଲଟ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ, ପଞ୍ଜାବ ରାଜ୍ୟପାଳ ଏବଂ ଚଣ୍ଡିଗଡ଼ ପ୍ରଶାସକ ଗୁଲାବ ଚାନ୍ଦ କଟାରିଆ, ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ ଗଙ୍ଗୱାର ଏବଂ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ସାମିଲ ହୋଇଥିଲେ ।

City,Entertainment,Education

ଜାଭିୟର୍ସ ହାଇ ସ୍କୁଲରେ ହିନ୍ଦୀ ଦିବସ ପାଳନ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):-ମୀନାକ୍ଷୀ ନଗର୍ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ଶନିବାର ଛାତ୍ରଛାତ୍ରୀ ମାନଙ୍କୁ ନେଇ ହିନ୍ଦୀ ଦିବସ ପାଳନ ଅବସରରେ ଏକ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ଏଥିରେ ଡିଏଭି ପବ୍ଲିକ ସ୍କୁଲର ବରିଷ୍ଠ ହିନ୍ଦୀ ଶିକ୍ଷକ ଦିଲ୍ଲୀପ କୁମାର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ହିନ୍ଦୀ ଦିବସ ପାଳନ ସଂପର୍କରେ ସୂଚନା ଦେଇ,ଆଜିର ଯୁଗରେ ହିନ୍ଦୀ ଶିକ୍ଷାର ଆବଶ୍ୟକତା ନେଇ ଆଲୋକ ପାତ କରିଥିଲେ । ପ୍ରତି କ୍ଷେତ୍ରରେ ହିନ୍ଦୀ ଭାଷାକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା ସେ କହିବା ସହ ସମସ୍ତେ ମାତୃଭାଷା ସହ ହିନ୍ଦୀ ଭାଷା ପ୍ରତି ଦୃଷ୍ଟି ଦେବା ଜରୁରୀ ବୋଲି ମତ ଦେଇଥିଲେ ।ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ କେ.ସି ପଣ୍ଡାଙ୍କ ସମେତ ବିଦ୍ୟାଳୟ ଚେୟାରମ୍ୟାନ ଜି.ଏସ.ପଣ୍ଡା, ସମ୍ପାଦିକା ପ୍ରିୟମ୍ବଦା ଦାସ, ସହ ନିର୍ଦେଶକ କୁନାଲ୍ କୌଶିକ ପଣ୍ଡା , ରାହୁଲ ରାଜ୍ ପଣ୍ଡା, ଡ.ବିନାୟକ ସାହୁ ଓ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ,ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l

State

୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

Blog Thumbnail

ଦ କୁଇଭର ବ୍ୟୁରୋ :- ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର ୨୨ଟି, କେନ୍ଦ୍ରାପଡ଼ାର ୧୭ଟି, କେନ୍ଦୁଝରର ୧୮ଟି, ଖୋର୍ଦ୍ଧାର ୬୧ଟି, କୋରାପୁଟର ୩୪ଟି, ମାଲକାନଗିରିର ୮ଟି, ମୟୂରଭଞ୍ଜର ୭ଟି, ନବରଙ୍ଗପୁରର ୨୬ଟି, ନୟାଗଡ଼ର ୫୬ଟି, ନୂଆପଡ଼ାର ୧୦ଟି, ପୁରୀର ୬୮ଟି, ରାୟଗଡ଼ାର ୧୮ଟି, ସମ୍ବଲପୁରର ୧୨ଟି, ସୁବର୍ଣ୍ଣପୁରର ୧୬ଟି ଓ ସୁନ୍ଦରଗଡ଼ର ୧୭ଟି ନୂଆ ଅଙ୍ଗନୱାଡି କେନ୍ଦ୍ରର ଶୁଭ ଉଦଘାଟନ ହୋଇଛି।

Entertainment

ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି

Blog Thumbnail

ଦ କୁଇଭର ବ୍ୟୁରୋ :- ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି। ବୁଦ୍ଧାଦିତ୍ୟ ମହାନ୍ତି କେବଳ ଓଲିଉଡ୍‌ ନୁହେଁ‌; ବଲିଉଡ୍‌ରେ ବି ଏକ ଚିହ୍ନା ନାମ। ପ୍ରଥମେ ହିନ୍ଦୀ ଧାରାବାହିକରେ ଅବତୀର୍ଣ୍ଣ ହୋଇ ସମୟକ୍ରମେ ଓଲଉଡ୍‌କୁ ଆସିଥିଲେ ସେ। ଓଡ଼ିଆ ରିୟାଲିଟି ସୋ’ ‘ସାଧବ ବୋହୂ’ ଜରିଆରେ ଘରେ ଘରେ ପ୍ରିୟ ପାଲଟି ପାରିଛନ୍ତି ଏହି କଳାକାର। ‘ନନ୍ଦିନୀ ଆଇ ଲଭ୍‌ ୟୁ’, ‌‘ପ୍ରେମ ରୋଗୀ’, ‘ପ‌ଗଳ କରିଛି ପାଉଁଜି ତୋର’ ଆଦି ମନଛୁଆଁ ଚଳଚ୍ଚିତ୍ରରେ ଅଭିନୟ କରି ସେ ପାଲଟି ଯାଇଛନ୍ତି ଓଲିଉଡ୍‌ର ମଉଡ଼ମଣି। ସେ ଆଜି ଅସୁସ୍ଥ ‌ହୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ଅଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆମେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛୁ।

Shree Jagannath

ସେପ୍ଟେମ୍ବର ୨୩ରେ ରତ୍ନଭଣ୍ଡାରକୁ ଫେରିବ ମହାପ୍ରଭୁଙ୍କ ଅଳଙ୍କାର

Blog Thumbnail

ପୁରୀ( ଦ କୁଇଭର ):-. ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ। ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏଥି ପାଇଁ ଅମୃତ ବେଳା ସ୍ଥିର କରାଯାଇଛି। ସକାଳ ୭ଟା ୧୭ରୁ ୧୧ଟା ୧୭ ମଧ୍ୟରେ ଅଳଙ୍କାର ସ୍ଥାନାନ୍ତରିତ ହେବ। ଏଥି ପାଇଁ କେବଳ ପାଳିଆ ସେବାୟତ ନିୟୋଜିତ ହେବେ। ସେପ୍ଟେମ୍ବର ୨୩ ତାରିଖ ପୂର୍ବରୁ ଆଲୋକ ବ୍ୟବସ୍ଥା କରାଯିବ। ଅଳଙ୍କାର ସ୍ଥାନାନ୍ତର ସମୟରେ ନାଟ ମଣ୍ଡପ ବନ୍ଦ ରଖାଯିବ। କିନ୍ତୁ ଭକ୍ତଙ୍କ ଦର୍ଶନ ପ୍ରଭାବିତ ହେବ ନାହିଁ। ସ୍ଥାନାନ୍ତର ନସରିଲେ ସେପ୍ଟେମ୍ବର ୨୪ରେ ମଧ୍ୟ ସ୍ଥାନାନ୍ତର କରାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ସମୟରେ ମାଜିଷ୍ଟ୍ରେଟ୍‌ ଉପସ୍ଥିତ ରହିବେ। ରତ୍ନଭଣ୍ଡାରରେ ଅଳଙ୍କାର ରଖା ସରିଲା ପରେ ତାଲା ପଡ଼ିବ। ଏହାର ଚାବି ଟ୍ରେଜେରିରେ ରଖାଯିବ। ସେପ୍ଟେମ୍ବର ୨୩ ତାରିଖ ପୂର୍ବରୁ ଆଲୋକ ବ୍ୟବସ୍ଥା କରାଯିବ।

National

ଏକ୍ସପ୍ରେସ ଟ୍ରେନରେ ବି ଯାତ୍ରୀ ପାଇ ପାରିବେ ନିଜ ମନପସନ୍ଦର ଖାଦ୍ୟ

Blog Thumbnail

ଦକୁଇଭର ବ୍ୟୁରୋ :- ଦିନକୁ ଦିନ ଟ୍ରେନ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଟ୍ରେନ ଯାତ୍ରାକୁ ଆରାମଦାୟକ ଏବଂ ସୁବିଧାଜନକ କରିବା ଦିଗରେ ରେଳବାଇ ନିରନ୍ତର ତାର ପ୍ରୟାସ ଜାରି ରଖିଛି। ଏହି କାରଣରୁ ଅଧିକାଂଶ ଲୋକ ଟ୍ରେନରେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ଦୂରଗାମୀ ଟ୍ରେନରେ ଯାତ୍ରା କରିବା ସମୟରେ ଖାଦ୍ୟ ବ୍ୟବସ୍ଥାରେ ତ୍ରୁଟି ପରିଲକ୍ଷିତ ହୋଇଥାଏ। ତେଣୁ ଯାତ୍ରା କରିବା ପୂର୍ବରୁ ଖାଦ୍ୟକୁ ନେଇ ଯାତ୍ରୀମାନେ ଚିନ୍ତାରେ ପଡ଼ି ଯାଇଥାଆନ୍ତି। ବର୍ତ୍ତମାନ ଏହି ସମସ୍ୟା ଧୀରେ ଧୀରେ ହ୍ରାସ ପାଇବା ପରି ମନେ ହେଉଛି। ଟ୍ରେନ ଯାତ୍ରୀଙ୍କ ପାଇଁ ରେଳବାଇ ଏପରି ଏକ ପଦକ୍ଷେପ ନେଇଛି ଯାହାଦ୍ବାରା ଯାତ୍ରାଙ୍କୁ ସହଜ ଏବଂ ସୁବିଧାଜନକ ଭାବେ ମନ ପସନ୍ଦର ଖାଦ୍ୟ ମିଳିପାରିବ।


ଏଣିକି ଯାତ୍ରୀଙ୍କୁ ଖାଦ୍ୟ ପାଇଁ ଷ୍ଟେସନରେ ଓହ୍ଲାଇବାକୁ ପଡିବ ନାହିଁ କିମ୍ବା ଅନ୍ୟ କାହା ଉପରେ ନିର୍ଭର କରିବାକୁ ପଡିବ ନାହିଁ। ରେଳବାଇର ନୂତନ ବ୍ୟବସ୍ଥା ଦ୍ୱାରା ଯାତ୍ରୀମାନେ ନିଜ ସିଟରେ ହିଁ ତାଜା ଏବଂ ନିଜର ପସନ୍ଦର ଖାଦ୍ୟ ପାଇପାରିବେ। ଏଥିପାଇଁ ଯାତ୍ରୀମାନଙ୍କ ପାଖରେ ଖାଦ୍ୟ ଅର୍ଡର କରିବା ପାଇଁ ଅନେକ ବିକଳ୍ପ ରହିବ। ଯାତ୍ରୀମାନେ ଯାତ୍ରା ସମୟରେ https://www.ecatering.irctc.co.in/ କୁ ଯାଇ ଇ-କେଟରିଂ ସେବା ବ୍ୟବହାର କରିପାରିବେ କିମ୍ବା ଆପଣ ୧୩୨୩ କୁ କଲ୍ କରି ଖାଦ୍ୟ ଅର୍ଡର କରିପାରିବେ। ୱେବସାଇଟ୍ରୁ ଅର୍ଡର କରିବା ପାଇଁ, ଆପଣଙ୍କୁ ଆପଣଙ୍କର ମୋବାଇଲ୍ ନମ୍ବର, ଇମେଲ୍ ଆଇଡି ଏବଂ ପିଏନଆର ନମ୍ବର ଆବଶ୍ୟକ ହେବ। ମନ ପସନ୍ଦର ଖାଦ୍ୟ ଅର୍ଡର କରିବା ପରେ ଖାଦ୍ୟ ଆପଣଙ୍କ ସିଟ ନିକଟରେ ଆସି ପହଞ୍ଚିଯିବ।

State,Politics

ଆଜିଠୁ ଆରମ୍ଭ ବିଧାନସଭାର ମୌସୁମୀ ଅଧିବେଶନ

Blog Thumbnail

ଭୂବନେଶ୍ୱର ( ଦ କୁଇଭର ):-ଗୁରୁବାରଠାରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ୨୫ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନ ପୂର୍ବାହ୍ନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଥିବାରୁ ଶୋକ ପ୍ରସ୍ତାବ ପରେ ତାଙ୍କ ସମ୍ମାନାର୍ଥେ ଗୃହ ମୁଲତବୀ କରାଯିବ।ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି। ମୁଖ୍ୟ ବିରୋଧୀ ବିଜେଡି ମହିଳା ସୁରକ୍ଷା, ସାର ଅଭାବ, ପଞ୍ଚାୟତ୍ ବ୍ୟବସ୍ଥାରେ ଅଫିସରଙ୍କ କ୍ଷମତା ବୃଦ୍ଧି ଏବଂ ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗକୁ ମୁଖ୍ୟ ପ୍ରସଙ୍ଗ କରିବ। ଲୋକଙ୍କ ସ୍ଵର ସାଜି ବିଜେଡି, ସରକାରକୁ ଘେରିବାକୁ ବିଧାୟକ ଦଳ ବୈଠକରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗୁରୁମନ୍ତ୍ର ଦେଇଛନ୍ତି।


ସେହିପରି କଂଗ୍ରେସ ନାରୀ ନିର୍ଯାତନା, ସାର କଳାବଜାରୀ, ଛାତ୍ର ସଂସଦ ନିର୍ବାଚନ, ବେକାରୀ ଓ ଆଇନ ଶୃଙ୍ଖଳା ପ୍ରସଙ୍ଗକୁ ମୁଖ୍ୟ ଅସ୍ତ୍ର କରି ସରକାରଙ୍କୁ ଗୃହରେ ଘେରିବାକୁ ନିଷ୍ପତି ନେଇଛି। ଦେଢ଼ ବର୍ଷର ମୋହନ ସରକାର ଓଡିଶାବାସୀଙ୍କୁ ସୁଶାସନ ଦେବାରେ ବିଫଳ ଦର୍ଶାଇ ଗୃହରେ କଂଗ୍ରେସ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବା ପାଇଁ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନେଇଛି। ଦୁଇ ବିରୋଧୀଙ୍କ ସମସ୍ତ ପ୍ରସଙ୍ଗକୁ ଆଲୋଚନା ମାଧ୍ୟମରେ ଜବାବ ଦେବା ପାଇଁ ସଜବାଜ ହୋଇଛି ଶାସକ ଦଳ। ଶାସକ ବିଜେପିର ବିଧାୟକ ଦଳ ବୈଠକରେ ରଣନୀତି ଚୁଡାନ୍ତ ହେବ। ୧୮ରୁ ୨୫ଯାଏ ଚାଲିବାକୁ ଥିବା ମୌସୁମୀ ଅଧିବେଶନରେ ଛଅଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଛି।

ମୌସୁମୀ ଅଧିବେଶନରେ ଗୃହ କାର୍ଯ୍ୟ ବେଶ ଉଷ୍ମ ହେବାକୁ ଯାଉଛି। ଅଧିବେଶନକୁ ସୁରୁଖୁରୁରେ ଶେଷ କରିବାକୁ ସର୍ଵଦଳୀୟ ବୈଠକରେ ବାଚସ୍ପତି ଉଭୟ ଶାସକ ଓ ବିରୋଧୀଙ୍କ ସହଯୋଗ ଲୋଡିଛନ୍ତି।

City

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ଅବସରପ୍ରାପ୍ତ ନିଶ୍ଚେତକ ବିଭାଗ ପ୍ରାଧ୍ୟାପକ ଡା. ହରିହର ପଟ୍ଟନାୟକଙ୍କ ପରଲୋକ ହୋଇଛି।ଶନିବାର ଭୋର ୫ଟା ସମୟରେ ସିଦ୍ଧାର୍ଥ ନଗର ତୃତୀୟ ଲାଇନ୍ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତ ଡ଼ାକ୍ତର ପଟ୍ଟନାୟକଙ୍କୁ ମୃତ ବେଳକୁ ୮୮ ବର୍ଷ ହୋଇଥିବା ବେଳେ ଦୀର୍ଘ ୩୦ , ମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରିଛନ୍ତି।ବ୍ରହ୍ମପୁର ଏମକେସିଜି ମେଡ଼ିକାଲ୍ କଲେଜ ଓ ହସ୍ପିଟାଲର ନିଶ୍ଚେତକ ବିଭାଗରେ ପ୍ରାଧ୍ୟାପକ ରହିଥିଲେ। ଡ଼ା ପଟ୍ଟନାୟକ ବହୁ ଗରିବ ରୋଗୀଙ୍କ ପାଇଁ ସୁବିଧାରେ ଅସ୍ତ୍ରୋପଚାର ଓ ଚିକିତ୍ସା ବ୍ୟବସ୍ଥା କରିବା ସହ ଅତ୍ୟନ୍ତ ପରୋପକାରୀ ଏବଂ ମିଷ୍ଟଭାଷୀ ଡାକ୍ତର ଭାବେ ପରିଚିତ ଥିଲେ।ଅବସର ନେବା ପରେ ମଧ୍ୟ ବହୁ ସଂଗଠନ ସହ ଜଡ଼ିତ ରହି ରୋଗୀଙ୍କୁ ଚିକିତ୍ସା ନିମନ୍ତେ ସହଯୋଗ କରୁଥିଲେ। ମୃତଶଯ୍ୟାରେ ଦୁଇପୁଅ ଓ ଦୁଇଝିଅ ରଞ୍ଜନ କୁମାର ପଟ୍ଟନାୟକ, ରଞ୍ଜିତ କୁମାର ପଟ୍ଟନାୟକ, ରଶ୍ମୀ ରେଖା କାନୁନଗୋ, ସସ୍ମିତା ରାୟ, ଜ୍ବାଇଁ,ନାତିନାତୁଣୀଙ୍କ ସମେତ ବହୁ ଆତ୍ମୀୟ ସୃଜନ ଉପସ୍ଥିତ ରହିଥିଲେ।ବ୍ରହ୍ମପୁର ବିଧାୟକ କେ .ଅନିଲ କୁମାର,ପୂର୍ବତନ ସାଂସଦ ଚନ୍ଦ୍ର ଶେଖର ସାହୁ,ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା,ବରିଷ୍ଠ ବିଜେଡ଼ି ନେତା ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ,କର୍ପୋରେଟର ସମୀର ମିଶ୍ର,ତିରୁପତି ପାତ୍ର,ବରିଷ୍ଠ ବିଜେଡ଼ି ନେତା ତଥା ସମାଜସେବୀ ରବୀନ୍ଦ୍ର କୁମାର ସାହୁଙ୍କ ସମେତ ବହୁ ଡାକ୍ତର,ରାଜନେତା ,ବୁଦ୍ଧିଜୀବିଏବଂ ଏମ କେ ସି ଜି ମେଡ଼ିକାଲ୍ କଲେଜ ନିକଟରେ ମରଶରୀରକୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଓ ଅନ୍ତିମ ଯାତ୍ରାରେ ଯୋଗଦେଇଥିଲେ।

ସ୍ଥାନୀୟ ଇଞ୍ଜିନିୟରିଙ୍ଗ ସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସଂପନ୍ନ ହୋଇଛି।

National

ଆଜି ମୋଦୀ ଙ୍କ ଜନ୍ମଦିନ

Blog Thumbnail

ଦ କୁଇଭର ବ୍ୟୁରୋ :- ସେପ୍ଟେମ୍ବର ୧୭ ତାରିଖ । ବିଶ୍ବ ନାୟକଙ୍କ ଜନ୍ମଦିନ । ନୂଆ ଭାରତର ବିନ୍ଧାଣୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପଦାର୍ପଣ କରିଛନ୍ତି । ବିଶ୍ବ ବନ୍ଧୁ ମୋଦିଙ୍କ ଜନ୍ମଦିନ ପାଳିବାକୁ ସାରା ଦେଶରେ, ଦେଶ ବାହାରେ ବିଭିନ୍ନ କାର୍ଯ୍ୟକ୍ରମ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଦିଲ୍ଲୀ ବିଜେପି ପକ୍ଷରୁ ୧୭ଟି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହା ଭିତରେ ରହିଛି ସ୍ବଚ୍ଛତା ଅଭିଯାନ, ରକ୍ତଦାନ ଶିବିର, ଖେଳକୂଦ ପ୍ରତିଯୋଗିତା ଏବଂ ଅନ୍ୟାନ୍ୟ ସାମାଜିକ କାର୍ଯ୍ୟକ୍ରମ ।ବିଜେପି ତାଙ୍କ ଜନ୍ମଦିନକୁ 'ସେବା ପକ୍ଷ' ଭାବରେ ପାଳନ କରୁଛି, ଯାହା ୧୭ ସେପ୍ଟେମ୍ବରରୁ ୨ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ, ଏହାର ବିଷୟବସ୍ତୁ 'ସୁସ୍ଥ ମହିଳା, ସଶକ୍ତ ପରିବାର' ରଖାଯାଇଛି । ୧୭ ସେପ୍ଟେମ୍ବର ୧୯୫୦ ରେ ଗୁଜୁରାଟର ଭାଡନଗରରେ ଜନ୍ମଗ୍ରହଣ କରିଥିବା ନରେନ୍ଦ୍ର ଦାମୋଦରଦାସ ମୋଦି ଆଜି କେବଳ ଭାରତରେ ନୁହେଁ ବରଂ ସାରା ବିଶ୍ୱରେ ଜଣେ ପ୍ରଭାବଶାଳୀ ନେତା ଭାବରେ ସ୍ୱୀକୃତି ପାଇଛନ୍ତି । ତାଙ୍କ ନେତୃତ୍ୱରେ ଭାରତ ଅନେକ ଐତିହାସିକ ସଫଳତା ହାସଲ କରିଛି, ତାହା ଅର୍ଥନୈତିକ କ୍ଷେତ୍ର ହେଉ, ଅନ୍ତର୍ଜାତୀୟ କୂଟନୀତି, ସାମରିକ ସଶକ୍ତିକରଣ କିମ୍ବା ଡିଜିଟାଲ୍ ବିପ୍ଳବ। ଆଜି ସକାଳ ଠାରୁ ସମର୍ଥକମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଆସୁଛନ୍ତି।

Weather

ସୃଷ୍ଟି ହେଲା ଲଘୁଚାପ,ଆଲର୍ଟରେ ୩ ଜିଲ୍ଲା

Blog Thumbnail

ଦ କୁଇଭର ବ୍ୟୁରୋ :- ଗୋଟେ ଲଘୁଚାପ ଯିବାର ଦିନ କେଇଟା ବିତିନି,ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି । ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଲଘୁଚାପ ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ 5.8 କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ଉଚ୍ଚତା ସହିତ ଦକ୍ଷିଣ ଦିଗ ଆଡକୁ ଢଳି ରହିଛି ।ଏହା ଆଗାମୀ 2 ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ 15 ତାରିଖ ଯାଏଁ ବର୍ଷା ଥିବା ବେଳେ ଆଗାମୀ 48 ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସାରା ରାଜ୍ୟରେ ଝଟକା ପବନ 30-40 କିମି ବେଗରେ ବହିବ ।ଆଜି ୩ ଜିଲ୍ଲା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି 14 ତାରିଖରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ 30-40 କିମି ବେଗରେ ଝଟକା ପବନ ପାଇଁ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।


National,International

ନେପାଳରୁ ଉଦ୍ଧାର ହେଲେ ୨୩ ଓଡ଼ିଆ ପର୍ଯ୍ୟଟକ

Blog Thumbnail

ଦ କୁଇଭର ବ୍ୟୁରୋ :- ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି । ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ । ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ । ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି । ୨୩ ଜଣ ଓଡ଼ିଆ ଯାତ୍ରୀ ହେଲେ- ଅଜୟ କୁମାର ପଣ୍ଡା, ମାମିନା ପଣ୍ଡା, ପଙ୍କଜ କୁମାର ଧଳ, ଭରତ କୁମାର ସ୍ୱାଇଁ, କାମିନୀ ସ୍ୱାଇଁ, ଶାରଦା ପ୍ରସନ୍ନ କର, ରିମା କର, ମନୋଜ କୁମାର ମିଶ୍ର, ସୁରେନ ଦଳାଇ, ବିରେନ ଦଳାଇ, ପର୍ଶୁରାମ ଦଳାଇ, ପୂର୍ଣ୍ଣଚନ୍ଦ୍ର ଦଳାଇ, ପ୍ରସନ୍ନଜିତ ଦଳାଇ, ବ୍ରଜକିଶୋର ମିଶ୍ର, ଲୋପାମୁଦ୍ରା ମିଶ୍ର, ଶ୍ରେୟାନ ସୌରଭ ମିଶ୍ର, ସନ୍ତୋଷ କୁମାର ପାଣି, ସସ୍ମିତା ପାଣି, ବାଗ୍ମୀପ୍ରିୟା ପାଣି, ପ୍ରମୋଦ କୁମାର ମିଶ୍ର, ରାଜଶ୍ରୀ ମିଶ୍ର, ବୈଷ୍ଣବ ସାହୁ ଓ ସୁରେଶ ଚନ୍ଦ୍ର ସାହୁ । ସମସ୍ତ ଓଡ଼ିଆ ଯାତ୍ରୀ ସୁରକ୍ଷିତ ଭାବରେ ଭାରତକୁ ଫେରିଥିବାର ସୂଚନା ମିଳିଛି ।

Sports

୨୧ ସେପ୍ଟେମ୍ବରରେ ପୁଣି ଭାରତ-ପାକିସ୍ତାନ ଲଢ଼େଇ

Blog Thumbnail

ଦ କୁଇଭର ବ୍ୟୁରୋ :- ଟିମ୍ ଇଣ୍ଡିଆ ଏବଂ ପାକିସ୍ତାନ ଗ୍ରୁପ୍ ‘ଏ’ ରୁ ସୁପର ୪ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଏହା ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଆଉ ଏକ ମୁକାବିଲା ହେବା ନିଶ୍ଚିତ ହୋଇଛି। ଦୁଇ ଦଳ ମଧ୍ୟରେ ପରବର୍ତ୍ତୀ ମ୍ୟାଚ୍ ସେପ୍ଟେମ୍ବର ୨୧ ରବିବାରରେ ଦୁବାଇରେ ଖେଳାଯିବ।ବୁଧବାର ପାକିସ୍ତାନ ଏବଂ ୟୁଏଇ ମଧ୍ୟରେ ଖେଳାଯାଇଥିବା ଏସିଆ କପର ଦଶମ ମ୍ୟାଚ୍‌ରେ ପାକିସ୍ତାନ ୪୧ ରନରେ ବିଜୟୀ ହୋଇଛି । ଏହି ବିଜୟ ସହିତ ପାକିସ୍ତାନ ସୁପର ୪ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଆୟୋଜକ ୟୁଏଇର ଯାତ୍ରା ଶେଷ ହୋଇଛି ।ସେପ୍ଟେମ୍ବର ୧୪ ରବିବାର ଦିନ ଟୁର୍ଣ୍ଣାମେଣ୍ଟରେ ଭାରତ ଏବଂ ପାକିସ୍ତାନ ଏକ ଗ୍ରୁପ୍ ପର୍ୟ୍ୟାୟ ମ୍ୟାଚ୍ ଖେଳିଥିଲେ । ଟିମ୍ ଇଣ୍ଡିଆ ଏହି ମ୍ୟାଚ୍‌କୁ ୭ ୱିକେଟ୍‌ରେ ଜିତିଥିଲା ।

State

ସିଲ୍ ହେଲା ଅର୍ଚ୍ଚନା ନାଗଙ୍କ ବିଳାସପୂର୍ଣ୍ଣ କୋଠା

Blog Thumbnail

ଦ କୁଇଭର ବ୍ୟୁରୋ :- ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ । ଅର୍ଚ୍ଚନା ନାଗଙ୍କ ବିଳାସପୂର୍ଣ୍ଣ ଘରକୁ ସିଲ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ନୋଟିସ ଆଧାରରେ ଗତକାଲି (ଶୁକ୍ରବାର) ସିଲ୍ ଇଡି । ରାଜଧାନୀ ଭୁବନେଶ୍ବର ସତ୍ୟ ବିହାର ସ୍ଥିତ ଆଲିସାନ ଘରକୁ ଯାଇ ପୋଲିସ ମାଧ୍ଯମରେ ରହୁଥିବା ଘର ଲୋକଙ୍କୁ ଓ ବ୍ୟବହାର କରୁଥିବା ଆସବାବ ପତ୍ରକୁ ବାହାର କରି ସିଲ୍ କରିଛି ଲଟକା ଲଗାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।ଘର‌ ବାହାରେ ଲଗାଯାଇଥିବା ନୋଟିସ ମୁତାବକ, PMLA act 2002 ମୁତାବକ । ୦୩ ଜୁଲାଇ ୨୦୨୩ର OC 1895 ଆଧାରରେ ସତ୍ୟ ବିହାରରେ ୧୩୩୮/୧୫୧୦୫ରେ ଥିବା ଘରକୁ ସିଲ୍ କରାଯାଇଛି । ଧାରା ୮(୪)ଇଡିର ହେପାଜତରେ ରହିଥିବା ଉଲ୍ଲେଖ କରାଯାଇଛି । ଏନେଇ ଇଡି ଅଧିକାରୀ ଓ ପୋଲିସ ଉପସ୍ଥିତିରେ ସିଲ୍ ସମୟରେ ଅର୍ଚ୍ଚନାଙ୍କ ବାପା ଓ ଭଉଣୀ ବିରୋଧ କରିଥିଲେ । କିନ୍ତୁ ନିର୍ଦ୍ଦେଶ କପି ଆଧାରରେ ଘରକୁ ସିଲ୍ କରିଥିଲେ ଇଡି ଅଧିକାରୀ । ସେପଟେ ଇଡି ଅଧିକାରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପରିନଥିବା ବେଳେ ଅର୍ଚ୍ଚନାଙ୍କ ଭଉଣୀ କହିଛନ୍ତି," ଦିଦି ଘରେ ନଥିବା ସମୟରେ ଏଭଳି ଘରକୁ ସିଲ୍ କରାଯାଉଛି । ଏନେଇ ପୂର୍ବରୁ କୌଣସି ସୂଚନା ଦିଆଯାଇନାହିଁ ।"


ସୂଚନା ପ୍ରକାରେ,ଗତ ୨୦୨୨ ମସିହା ସେପ୍ଟେମ୍ବର ମାସରୁ ଏକ ବ୍ଲାକମେଲିଂ ଘଟଣାରେ ଅର୍ଚ୍ଚନା ନାଗ ସହ ସ୍ବାମୀ ଜଗବନ୍ଧୁ ଓ ମିଡିଲମ୍ୟାନ ଖଗେଶ୍ବର ଗିରଫ ହୋଇଥିଲେ । ବେଆଇନା ଭାବରେ ଅର୍ଥ ରୋଜଗାର କରିବା ଓ ସେହି ଟଙ୍କାରେ ବେଆଇନ ଭାବେ ସମ୍ପତ୍ତି ଠୁଳ କରିବା ନେଇ ପ୍ରିଭେସନ ଅଫ ମନି ଲଣ୍ଡରି ଆଧାରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲା ଋଜୁ କରି ତାନାଘନା କରିଥିଲା । ତେବେ ପୂର୍ବରୁ ଅର୍ଚ୍ଚନାଙ୍କ ଏକ ଦାମୀ ଗାଡ଼ି ଜବତ କରାଯାଇଥିବା ବେଳେ ବର୍ତ୍ତମାନ ତାଙ୍କ ଘରକୁ ସିଲ କରିଛି ଇଡି ।

District,City

୧୯ ରେ ଗଡିବ ତୀର୍ଥଯାତ୍ରୀ ଟ୍ରେନ

Blog Thumbnail

ଦ କୁଇଭର ବ୍ୟୁରୋ :- ଆସନ୍ତା ୧୯ତାରିଖରେ ଅଯୋଧ୍ୟା ଓ ବାରଣାସୀକୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ଗଡ଼ିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତି ଭାସ ଶନିବାର ସନ୍ଧ୍ୟାରେ ବ୍ରହ୍ମପୁର ରେଳ ଷ୍ଟେସନ ପରିଦର୍ଶନ କରିଛନ୍ତି। ବ୍ରହ୍ମପୁର ରେଳ ଷ୍ଟେସନ ୪ନମ୍ବର ପ୍ଲାଟଫର୍ମ ପହଞ୍ଚି ସେଠାରେ ଜିଲ୍ଲାର ବରିଷ୍ଟ ଅଧିକାରୀ, ରେଳବାଇ କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରିଥିଲେ। ଏହାପରେ ଦିନକୁ ପୂର୍ବରୁ ବରିଷ୍ଠ ନାଗରିକମାନେ ରହିବା ପାଇଁ ଆୟୋଜିତ ହୋଇଥିବା ସ୍ଥାନ ବୁଲି ଦେଖୁଥିଲେ। ବରିଷ୍ଠ ନାଗରିକ କିପରି ହାତପାହାନ୍ତାରେ ସମସ୍ତ ସୁବିଧା ପାଇବେ ଏବଂ ସୁଚାରୁ ରୂପେ ଯାତ୍ରା କରି ଫେରିବେ। ସେ ନେଇ ସମସ୍ତ ଅଧିକାରୀମାନେ ଧ୍ୟାନ ଦେବାକୁ ବିଭାଗୀୟ ଅଧୁକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦଶେ ଦେଇଛନ୍ତି। ଜିଲ୍ଲାପାଳଙ୍କ ଗସ୍ତ ସମୟରେ ବ୍ରହ୍ମପୁର ଉପଜିଲ୍ଲାପାଳ ଅଭିନାଶ କୁମାର, ବିଏମ୍‌ସି ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଓ ଆଶୀର୍ବ।ଦ ପରିଡ଼ା, ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ପାର୍ଥ ସାରଥୀ ହଂସଦା, ବ୍ରହ୍ମପୁର ରେଳ ଷ୍ଟେସନ ମ୍ୟାନେଜର ଦୁର୍ଗ। ପ୍ରସାଦ ବ୍ରହ୍ମା, ଆର୍‌ପିଏଫ୍‌ ଥାନା ଅଧିକାରୀ ସି. ଭେଙ୍କଟ ରମଣା ଓ ବ୍ରହ୍ମପୁର ଅଗ୍ନିଶମ ଅଧିକାରୀ ଠାକୁର ପ୍ରସାଦ ଦଳାଇ ପ୍ରମୁଖ ଉପସ୍ଥିତ ଥିଲେ।

District

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ଶନିବାର ଗଞ୍ଜାମ ଜିଲ୍ଲା କୋର୍ଟ ପରିସରରେ ବ୍ରହ୍ମପୁର ଓ ଜିଲ୍ଲାର ସମସ୍ତ କୋର୍ଟରେ ୨୦୨୫ର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୧ ହଜାର ୩୪୬ଟି ମାମଲାର ସମାଧାନ ହୋଇଥିବାବେଳେ ୧୨ କୋଟି ୮୫ ଲକ୍ଷ ୭୧ ହଜାର ୯୭୯ ଟଙ୍କା ପ୍ରଦାନ କରିବା ପାଇଁ ଆଦେଶ ଜାରି କରାଯାଇଛି। ଗଞ୍ଜାମ ଆଇନସେବା ପ୍ରାଧିକରଣ ପକ୍ଷରୁ ଅନୁଷ୍ଠିତ ତୃତୀୟ ଲୋକ ଅଦାଲତରେ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷା ଡ. ଭାଗ୍ୟଲକ୍ଷ୍ମୀ ରଥଙ୍କ ତତ୍ତ୍ବାବଧାନରେ ୭୫ଟି ମୋଟରଯାନ ଦୁର୍ଘଟଣାଜନିତ ମାମଲାର ସମାଧନ କରାଯାଇ ବୀମା କମ୍ପାନି ଗୁଡ଼ିକୁ ମୋଟ ୫ କୋଟି ୯୮ ଲକ୍ଷ ୭୫ ହଜାର ଟଙ୍କା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା,୯୭ଟି ଏନଆଇ ଆକ୍ଟ ମାମଲାର ସମାଧାନ କରାଯାଇ ୧ କୋଟି ୫୧ ଲକ୍ଷ ୭୧ ହଜାର ୮୫୯ ଟଙ୍କା ପୁନରୁଦ୍ଧାର ହୋଇଥିଲା, ମୋଟ ୮୫ଟି ବିବାହ ସଂପର୍କିତ ମାମଲାର ସମାଧାନ କରାଯାଇଥିଲା, ମୋଟ ୨୨୦ଟି ବ୍ୟାଙ୍କ ସଂପର୍କିତ ମାମଲାର ସମାଧାନ କରାଯାଇ ୨ କୋଟି ୩୩ ଲକ୍ଷ ୧୧ ହଜାର ୧୩ ଟଙ୍କା ଆଦାୟ କରାଯାଇଥିଲା,ଅନ୍ୟାନ୍ୟ ଦେୱାନି ମାମଲା ୧୦୧ଟି ସମାଧାନ କରାଯାଇ ୨ କୋଟି ୧୪ ଲକ୍ଷ ୪୦ ହଜାର୧୫୧ ଟଙ୍କା ଆଦାୟ କରାଯାଇଥିଲା, ସେହିପରି ମୋଟ ୯୫୬୮ଟି ରେଭେନ୍ୟୁ ମାମଲାର ସମାଧାନ କରାଯାଇ ୭୨ ହଜାର ୭୨୬ ଟଙ୍କା ଆଦାୟ କରାଯାଇଥିଲା, ୫୦ଟି ଅପରାଧିକ ମାମଲାର ସମାଧାନ କରାଯାଇଥିବାବେଳେ ୨୩୨ଟି ଟିପିଏସଓଡ଼ିଏଲ୍ ମାମଲାର ସମାଧାନ ହୋଇ ୩୦ ଲକ୍ଷ ୪୨ ହଜାର ୪୦୨ ଟଙ୍କା ଆଦାୟ କରାଯାଇଥିଲା, ମୋଟ ୧୭ଟି ପିୟୁଏସ୍ ମାମଲାରେ ୫୯ ଲକ୍ଷ ୫୮ ହଜାର ୮୩୦ ଟଙ୍କା ଆଦାୟ କରାଯାଇଥିଲା ଏବଂ ଅନ୍ୟାନ୍ୟ ଫୌଜଦାରୀ ମାମଲା ୯୨୮ଟି ସମାଧାନ କରାଯାଇଥିଲା। ଏଥିରେ ଦ୍ବିତୀୟ ଏମଏସିଟି ବିଶ୍ବଜିତ୍ ଦାଶ, ପ୍ରଥମ ଏଡିଜେ ନରେଶ ମହାନ୍ତି, ଦ୍ଵିତୀୟ ଏଡିଜେ ଆୟୁଷମାନ ମହାନ୍ତ, ତୃତୀୟ ଏଡିଜେ ବିବଶ୍ବତ ଗୌତମ ପ୍ରମୁଖ ଦୁର୍ଘଟଣା ସଂପର୍କିତ ମାମଲାରେ ଅଂଶ ଗ୍ରହଣ କରିଥିଲେ । ରେଜିଷ୍ଟ୍ରର ସୌଦାମିନୀ ସିଂ ନୋଡାଲ ଅଫିସର ଭାବେ କାର୍ଯ୍ୟ ସଂପାଦନ କରିଥିଲେ । ବ୍ରହ୍ମପୁର କୋର୍ଟର ସମସ୍ତ ବିଚାରପତି, ଆଇନଜୀବୀ ଓ କର୍ମଚାରୀ ଅଂଶ ଗ୍ରହଣ କରିଥିଲେ ।

Crime

ଅବକାରୀ କବଜାରେ ଗଞ୍ଜେଇ ମାଫିଆ,୬ଗିରଫ

Blog Thumbnail

ଦ କୁଇଭର ବ୍ୟୁରୋ :- ରାଜ୍ୟ ବାହାରକୁ ବେଆଇନ ଚୋରା ଗଞ୍ଜେଇ ଚାଲାଣ ହେଉଥିବା ବେଳେ ମାଡି ବସିଲା ଅବକାରୀ ଗୁଇନ୍ଦା ବିଭାଗ, ୫୫ କିଲୋ ଗଂଜେଇ,୧ ସ୍କୁଟି, ୩ଟି ଚାରି ଚକିଆ ଗାଡି, ୮ଟି ମୋବାଇଲ ଫୋନ ଜବତ ସହ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଜବତ ଗଞ୍ଜେଇର ମୂଲ୍ୟ ଆନୁମାନିକ ୩୦ ଲକ୍ଷ ହେବ ବୋଲି ଅବକାରୀ ଗୁଇନ୍ଦା ବିଭାଗ ସୂଚନା ଦେଇଛି l


ସୂଚନା ପ୍ରକାରେ,କନ୍ଧମାଳରୁ ବାହାର ରାଜ୍ୟକୁ ଗଂଜେଇ ଚାଲାଣ ହେଉଥିବା ବେଳେ ଖଲ୍ଲିକୋଟ ଘାଟି ନିକଟରେ ମାଡି ବସିଲା ଅବକାରୀ ଗୁଇନ୍ଦା ବିଭାଗ l ବିହାର,ପଶ୍ଚିମବଙ୍ଗ ଅଞ୍ଚଳର ତିନିଜଣ ଏବଂ କନ୍ଧମାଳ ଅଞ୍ଚଳର ତିନିଜଣ(୨ଜଣ ପେଶାଗତ ଗଞ୍ଜେଇ ଚାଲାଣକାରୀ) ମୋଟ ୬ ଜଣଙ୍କୁ କାବୁ କରିଛି ଅବକାରୀ ଗୁଇନ୍ଦା ବିଭାଗ l ଏସବୁ ଗଞ୍ଜେଇ, ବିହାର ଓ ପଶ୍ଚିମବଙ୍ଗକୁ ଚାଲାଣ କରିବା ପାଇଁ ପ୍ରସ୍ତୁତି କରାଯାଇଥିଲା l ଅଭିଯୁକ୍ତଙ୍କ ନିକଟରୁ ଜବତ ହୋଇଥିବା ମୋବାଇଲ ଫୋନରୁ ଗଂଜେଇ ମାଫିଆଙ୍କ ଟେର ମିଳିଥିବା ବେଳେ ଅଧିକ ତଦନ୍ତ କରୁଛି ଅବକାରୀ ଗୁଇନ୍ଦା ବିଭାଗ l ଯେଉଁଥିରେ ବ୍ରହ୍ମପୁର, କୋଦଳା ଅଞ୍ଚଳର କିଛି ଗଞ୍ଜେଇ ମାଫିଆଙ୍କ ସମ୍ପୃକ୍ତି ଜଣା ପଡ଼ିଥିବା ବେଳେ ତଦନ୍ତ ପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅବକାରୀ ଗୁଇନ୍ଦା ବିଭାଗ ଡେପୁଟି ସୁପରିଟେଣ୍ଡେଣ୍ଟ ସ୍ମୁର୍ତିକାନ୍ତ ରାଉତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l